ଓଡିଶା

ନେତାଜୀଙ୍କ ନାଁରେ ନିର୍ମିତ ହେବ ଅତ୍ୟାଧୁନିକ ବସ୍‌ ଟର୍ମିନାଲ

(ରିପୋର୍ଟସଟୁଡେ): କଟକର ଖାନନଗର ଠାରେ ନିର୍ମିତ ହେବ ଅତ୍ୟାଧୁନିକ ବସ୍‌ ଟର୍ମିନାଲ। ଏଥିରେ ଖର୍ଚ୍ଚ ହେବ ୬୫ କୋଟି ଟଙ୍କା। ନେତାଜୀ ସୁଭାଷ ବୋଷଙ୍କ ନାମରେ ଏହି ଅତ୍ୟାଧୁନିକ ବସ୍‌ ଟର୍ମିନାଲକୁ ନାମିତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବୈଠକରେ ଘୋଷଣା କରିଛନ୍ତି । ରାଜ୍ୟ ସରକାରଙ୍କ ୫-ଟି କାର୍ୟ୍ୟକ୍ରମ ଅଧୀନରେ ଏହା କାର୍ୟ୍ୟକାରୀ କରାଯିବ ।
ସୂଚନାଯୋଗ୍ୟ ଯେ ଆଗାମୀ ଜାନୁଆରୀ ୨୩ ତାରିଖ ଦିନ ନେତାଜୀଙ୍କ ଜୟନ୍ତୀ ପାଳନ କରାଯିବ ଏବଂ ଚଳିତ ବର୍ଷ ସମଗ୍ର ଦେଶ ନେତାଜୀଙ୍କର ୧୨୫ତମ ଜୟନ୍ତୀ ପାଳନ କରିବାକୁ ଯାଉଛି। ଆମ ସ୍ବାଧୀନତା ସଂଗ୍ରାମର ଅନ୍ୟତମ ସେନାପତି ଓ ମହାନ୍‌ ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷ କଟକ ଓଡିଆ ବଜାରରେ ଜନ୍ମଗ୍ରହଣ କରିଥିଲେ ଏବଂ କଟକରେ ବାଲ୍ୟ ଶିକ୍ଷା ଲାଭ କରିଥିଲେ ।
ବାଦାମବାଡି ବସ୍‌ଷ୍ଟାଣ୍ଡ ଜନଗହଳି ବୃଦ୍ଧି ସହିତ ସ୍ଥାନାଭାବ ଦୃଷ୍ଟିରୁ ଜନସାଧାରଣ ଓ ଯାତ୍ରୀ ଅସୁବିଧାର ସମ୍ମୁଖୀନ ହେଉଥିବାରୁ ଏହି ଅତ୍ୟାଧୁନିକ ବସ୍‌ ଟର୍ମିନାଲକୁ ଖାନନଗରରେ ପ୍ରତିଷ୍ଠା କରିବାପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ଅତ୍ୟାଧୁନିକ ବସ୍‌ ଟର୍ମିନାଲରେ ନେତାଜୀଙ୍କ ଜୀବନ ଓ ସଂଗ୍ରାମ ବିଷୟରେ ଜନସାଧାରଣଙ୍କୁ ଅବଗତ କରାଇବା ପାଇଁ ଏକ ସ୍ବତନ୍ତ୍ର କିଓସ୍କ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।
ଏହି ବସ୍‌ ଟର୍ମିନାଲରେ ଯାତ୍ରୀମାନଙ୍କର ସୁବିଧା ପାଇଁ ସମସ୍ତ ପ୍ରକାର ଅତ୍ୟାଧୁନିକ ବ୍ୟବସ୍ଥା ରହିବ। ଏଥିରେ ଏକ ବୃହତ ଟର୍ମିନାଲ ବିଲ୍‌ଡିଂ, ସାଧାରଣ ଯାତ୍ରୀବାହୀ ବସ୍‌ ପାଇଁ ସ୍ଥାନ ,ସ୍ଥାନୀୟ ଓ ମୋ ବସ୍‌ ସେବା ପାଇଁ ସ୍ଥାନ, ଯାନ ମରାମତି ଓ ରକ୍ଷଣାବେକ୍ଷଣ ବ୍ଲକ୍‌, ଚାରି ଚକିଆ ଯାନ ଓ ଅଟୋ ପାଇଁ ସ୍ବତନ୍ତ୍ର ପାର୍କିଂ ବ୍ୟବସ୍ଥା କରାଯିବ। ୧ ଲକ୍ଷ ୧୮ ହଜାର ବର୍ଗ ଫୁଟରେ ଏଥିପାଇଁ ୩ ମହଲା ବିଶିଷ୍ଟ ଟର୍ମିନାଲ ବିଲ୍‌ଡିଂ ନିର୍ମାଣ କରାଯାଇ ଏଥିରେ ଯାତ୍ରୀ ବିଶ୍ରାମସ୍ଥଳ, ଫୁଡ କୋର୍ଟ,ଟିକେଟ ଗୃହ, ଇ-ଯାନ ଚାର୍ଜିଂ ପଏଣ୍ଟ, ଛାତ ଉପରେ ବର୍ଷା ଜଳ ସଂରକ୍ଷଣ ଏବଂ ସୌର ପ୍ୟାନେଲ ମଧ୍ୟ ରଖାଯିବ । ଏହି ନିର୍ମାଣ ପାଇଁ କଟରର ଲିଙ୍ଗ୍ ରୋଡକୁ ଆଉ ଦୁଇ କିଲୋମିଟର ସଂପ୍ରସାରଣ କରିବା ପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା।
ଏହି ବୈଠକରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ଗୃହ ବିଭାଗ ଅତିରିକ୍ତ ମୁଖ୍ୟଶାସନ ସଚିବ, ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ସଚିବ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ, ଅର୍ଥ ବିଭାଗର ପ୍ରମୁଖ ସଚିବ ଏବଂ କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର, କଟକ ଜିଲ୍ଲାପାଳ ପ୍ରମୁଖ ଉପସ୍ଥିତ ଥିଲେ ।

Related posts

ଢିଙ୍କିଆରେ ପଞ୍ଚାୟତ ନିିର୍ବାଚନ

Report

କୋଇଲା ଖଣି ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ସହାୟତା ରାଶି

Report

ଆଇନ ତା ବାଟରେ ଯାଉଛି: ସସ୍ମିତ

Report

Leave a Comment