ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଜାରି ରହିବ ପ୍ରବଳ ବର୍ଷା । ଉପାନ୍ତରୁ ଆରମ୍ଭ କରି ଉପକୂଳ ଓଡ଼ିଶା ପର୍ଯ୍ୟନ୍ତ ସବୁଠି ବର୍ଷିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପୂର୍ବ ରାଜସ୍ଥାନରୁ ମଧ୍ୟପ୍ରଦେଶ, ଛତିଶଗଡ, ଦକ୍ଷିଣ ଓଡ଼ିଶା ଦେଇ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ପର୍ଯ୍ୟନ୍ତ ଏକ ନିମ୍ନ ଚାପରେଖା ରହିଛି । ଏହା ସହ ଦକ୍ଷିଣ ଛତିଶଗଡ଼ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଯାହାଫଳରେ ଜୁଲାଇ ୩ ତାରିଖ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି ।
ତେବେ ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ଦକ୍ଷିଣ ଓଡ଼ିଶାର ୮ଟି ଜିଲ୍ଲାକୁ ପାଣିପାଗ ବିଭାଗ ଦ୍ୱାରା ୟେଲୋ ଆଲର୍ଟ ଜାରି ହୋଇଛି । ବିଶେଷ କରି, କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।
ଅନ୍ୟପକ୍ଷେ, ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶାରେ ଆଜି ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ଗଞ୍ଜାମ, ଗଜପତି, ବରଗଡ, ଦେବଗଡ, ଅନୁଗୁଳ ଜିଲ୍ଲାର ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଜୁନ ୧୬ରେ ମୌସୁମୀ ଓଡ଼ିଶା ଛୁଇଁବା ପରଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ ସାଧାରଣତଃ ମେଘୁଆ ରହିଛି ।