୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା

0

ଭୁବନେଶ୍ୱର: ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା । ଦକ୍ଷିଣ ଓଡ଼ିଶା ନିକଟବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର  ପଶ୍ଚିମ କେନ୍ଦ୍ରୀୟ ଉପସାଗର ଉପରେ ଥିବା ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ସହିତ ଜଡିତ ସାମୁଦ୍ରିକ ଘୂର୍ଣ୍ଣିବଳୟ ଏବେ ସକ୍ରିୟ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଏକ ଅବପାତରେ ପରିଣତ ହୋଇ ସମଗ୍ର ଓଡିଶାର ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି।ଏହାର ପ୍ରଭାବରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ଓଡିଶାର ଜିଲ୍ଲାଗୁଡ଼ିକର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି।

ତେବେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୯ ତାରିଖ ମଙ୍ଗଳବାର ସୁଦ୍ଧା ଓଡିଶାର ଗଜପତି, ଗଂଜାମ ଓ କନ୍ଧମାଳ ପ୍ରଭୃତି ୩ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅତ୍ୟଧିକ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାବେଳେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ତିନି ଜିଲ୍ଲାକୁ ‘ରେଡ୍‌’ (ନାଲି) ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।ସେହିପରି ଖୋର୍ଦ୍ଧା, ପୁରୀ, ନୟାଗଡ଼, ମାଲକାନାଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୮ଟି ଜିଲ୍ଲାଗୁଡ଼ିକୁ ‘ଅରେଞ୍ଜ’ (କମଳା) ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।